ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ। ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ବା ଦଣ୍ଡଯାତ୍ରା ନାମରେ ପରିଚିତ। ଏହି ନୃତ୍ୟଧର୍ମୀୟ ଧାରଣା ଏବଂ ଈଶ୍ବର ବିଶ୍ବାସ ଉପରେ ପ୍ରତିଷ୍ଠିତ। ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ। ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟିହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ। କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର, ବୌଦ୍ଧ ନିକାୟ, ପାଣିନି, କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଟକ ସମ୍ପର୍କରେ ସଂକେତ ମିଳିଥାଏ। ଲୋକନାଟକ ଗୁଡିକର ବର୍ହିଲକ୍ଷ୍ୟ ଓ ଅନ୍ତର୍ଲକ୍ଷ୍ୟ ହେଉଛି ଶିକ୍ଷା ପ୍ରଦାନ। ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ୍ୟ। ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟ ମାନଙ୍କ ମଧ୍ୟରେ ଶ୍ରେଷ୍ଠ ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ, ଶିବ ଓ ମଙ୍ଗଳର ଜୟଗାନ ପାଇଁ ଆହ୍ବାନ ଦେଇଥାନ୍ତି। ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା। ସେଗୁଡିକ ହେଲା: ୧-ପ୍ରକୃତି ପ୍ରଭାବ, ୨-ଧର୍ମ ଚିନ୍ତନ, ୩-କୃଷି ସଭ୍ୟତା, ୪-ସାମରିକ ପରମ୍ପରା, ୫- କାରୁକଳା, ୬-ଆଦିବାସୀ ଓ ଓଡ଼ିଶୀ ନୃତ୍ୟ। ବୈଦିକ ଯୁଗରେ ଲୋକ ନାଟକର ଉବ୍ଦଭ ହୋଇଥିଲେ ମଧ୍ୟ ଏବେ ଏ ଗୁଡିକ ଲୋକ ସମାଜରେ ମୁମୂର୍ଷ ଅବସ୍ଥାରେ କେବଳ ବଞ୍ଚି ରହିଛନ୍ତି। ଏ ଗୁଡିକର ପୁନରୋଦ୍ଧାର ପାଇଁ ଏବେ ଅବଶ୍ୟ ସମଗ୍ର ବିଶ୍ବ ଚଳଚଞ୍ଚଳ ହୋଇପଡ଼ିଛି। ସମଗ୍ର ବିଶ୍ବରେ ବିଭିନ୍ନ ପ୍ରକାର ଲୋକନାଟକ ପ୍ରଚଳିତ। ଚୀନ୍, ଆମେରିକା, ଲୋହିତ ଭାରତୀୟ, ଆଫ୍ରିକାର ଆଦିବାସୀ, ୟୁରୋପର ଅନୁନ୍ନତ ଅଞ୍ଚଳ ତଥା ଭାରତର ବିଭିନ୍ନ ପ୍ରଦେଶରେ ଭଳି ଭଳି ଲୋକନାଟ୍ୟର ପ୍ରଚଳନ ଦେଖିବାକୁ ମିଳେ। ସେହିଭଳି ଓଡ଼ିଶାରେ ମଧ୍ୟ ବିଭିନ୍ନ ଲୋକନାଟକ ମଧ୍ୟରୁ ଦଣ୍ଡନାଟ ଏକ ପ୍ରଭାବଶାଳୀ ଶାଖା।
ରୋଗ ନିବାରଣ, ପାରିବାରିକ କଷ୍ଟ ଦୂରୀକରଣ, କୃଷିର ଉନ୍ନତି ବା ମନୋକାମନା ପୂର୍ତ୍ତିର ଫଳ ସ୍ୱରୂପ ଶରୀରକୁ କଷ୍ଟ ଦେଇ ୧୩, ୧୮ ବା ୨୧ ଦିନ ପର୍ଯ୍ୟନ୍ତ ମା’ ଦଣ୍ଡକାଳୀ ଓ ରୁଦ୍ର ମହାଦେବଙ୍କୁ ଧ୍ୟାନ କରି ଚୈତ୍ରମାସ ପୂର୍ଣ୍ଣିମା ପରଠାରୁ ଭକ୍ତମାନେ ରହିଥାନ୍ତି। ପ୍ରାୟ ତିନିଶହରୁ ଉର୍ଦ୍ଧ୍ୱ ଦଣ୍ଡଦଳ ମାନସିକଧାରୀ ଭକ୍ତମାନଙ୍କ ଗୃହ ସମ୍ମୁଖରେ ନୃତ୍ୟ ପ୍ରଦର୍ଶନ କରିଥାନ୍ତି। ଘୁମୁସର ଅଞ୍ଚଳର କୁଲାଗଡ଼ରୁ ଆରମ୍ଭ ହୋଇଥିବା ଦଣ୍ଡନାଟ ପରବର୍ତି ସମୟରେ ଗଞ୍ଜାମର ଅନ୍ୟାନ୍ୟ ଅଞ୍ଚଳ ବିଶେଷକରି ଶକ୍ତିପୀଠ ଗୁଡ଼ିକୁ ବ୍ୟାପିଥିବାର ଜଣାପଡ଼େ। “ହେ ଋଷିପୁତ୍ରେ! ଅଇଲେ ହର, ଦେଇଗଲେ ବର ଅନ୍ୟ ସେବା ଛାଡ଼ି ଏ ସେବା କର ଏ ସେବା କଲେ କି ଫଳ ପାଏ ଉଷୁନାଧାନ ଗଜା ହୁଏ ଶୁଖିଲା କାଠ କଞ୍ଚା ହୁଏ ଭଜାମୁଗ ଗଜା ହୁଏ ଅପୁତ୍ରିକ ପୁତ୍ରଦାନ ପାଏ ଅନ୍ଧ ଚକ୍ଷୁଦାନ ପାଏ ଜରାରୋଗ ଭଲ ହୁଏ” ବୋଲି ବାଣୀକାର ଗାଇ ଦଣ୍ଡନାଟ ଆରମ୍ଭ କରିଥାଏ। ପାରମ୍ପରିକ ବିଧି ଅନୁସାରେ ୨୧ ଦିନ ପର୍ଯ୍ୟନ୍ତ ଆମିଷ, ମଦ୍ୟ, ନାରୀସଂସର୍ଗ ପରିହାରର ସଂକଳ୍ପ କରି ୧୩ ଜଣ ଦଣ୍ଡୁଆ ବା ଭୋକ୍ତା ଗେରୁଆ ବସ୍ତ୍ର ପିନ୍ଧି କାମନା ମନ୍ଦିର ପୀଠରେ ଯାତ୍ରା ଆରମ୍ଭ ଦିନର ମଧ୍ୟରାତ୍ରରେ ଏକାଠି ହୁଅନ୍ତି। କାମନା ଘଟ ସ୍ଥାପିତ ହୁଏ ଓ ତା ପରେ ଦୁଇଟି ବେତକୁ ଶିବ ଓ ଗୌରୀଙ୍କ ପ୍ରତୀକରୂପେ ସ୍ଥାପନ କରାଯାଏ। ଦଳର ମୁଖ୍ୟ ପାଟ ଦଣ୍ଡୁଆ ଓ ଅନ୍ୟ ଦଣ୍ଡୁଆମାନେ ଉପବୀତ ଧାରଣ ପୂର୍ବକ ବାଉଁଶକାଠକୁ ଘର୍ଷଣ କରି ଶିବାଗ୍ନି ବାହାର କରନ୍ତି ଓ ଏଥିରେ ନଡ଼ାରେ ତିଆରି ଚମ୍ପାବରକୁ ପ୍ରଜ୍ଜ୍ୱଳିତ କରାଯାଏ ଯାହା ୧୩ ଦିନ ପର୍ଯ୍ୟନ୍ତ ଜଳି ରୁହେ। କାଳୀଙ୍କ ଚିତ୍ରପଟ, ମହାଦେବଙ୍କ ପ୍ରତୀକ ନାଗ ମୂର୍ତ୍ତି, ମୟୁରପୁଚ୍ଛ, ପତାକା ପୂଜାପରେ ଦଣ୍ଡନାଟ ଆରମ୍ଭ ହୁଏ। ଢୋଲ, ମହୁରୀ, ସାହାନାଇ, ଘଣ୍ଟ, ଶଙ୍ଖ, କାହାଳୀ, ଝାଞ୍ଜ, ଘୁଙ୍ଗୁର, ଘାଗୁଡ଼ି, ଦାସକାଠି, ରାମତାଳି, ଘୁଡୁକୀ, ଖଞ୍ଜଣୀ ପ୍ରଭୃତି ପାରମ୍ପାରିକ ବାଦ୍ୟର ତାଳେ ତାଳେ ଦଣ୍ଡନାଟ ପ୍ରଥମେ କାମନା ମନ୍ଦିର ପରିସରରେ ଆରମ୍ଭ ହୋଇ ପରେ ମାନସିକଧାରୀ ଭକ୍ତମାନଙ୍କ ଗୃହ ସମ୍ମୁଖରେ ଅନୁଷ୍ଠିତ ହୋଇଥାଏ। ଧୂଳିଦଣ୍ଡ, ପାଣିଦଣ୍ଡ ଏବଂ ସୁଆଙ୍ଗ ଏହି ତିନି କ୍ରମରେ ଦଣ୍ଡନାଟ ପ୍ରଦର୍ଶିତ ହୁଏ।
Go Back to Previous Page
ଦଣ୍ଡନାଚ : ଅନନ୍ୟ ଲୋକ ପରମ୍ପରା
ଡା ଜ୍ୟୋତି ପ୍ରସାଦ ପଟ୍ଟନାୟକ
Read Article
ଘଣ୍ଟ ପାଟୁଆ : ଏକ ନିଆରା ପରମ୍ପରା
ପ୍ରତିଭା ପ୍ରିୟଦର୍ଶିନୀ
Read Article
ଓଡ଼ିଆ ଭାଷା ଓ ସାହିତ୍ୟର ସମୃଦ୍ଧି ଏବଂ ପ୍ରସାର ପାଇଁ ଆମେ ସର୍ବଦା ଆପଣଙ୍କ ସହାୟତା ଆବଶ୍ୟକ କରୁଛୁ ଆପଣ ଓଡ଼ିଆ ଭାଷାରେ ଲେଖାଲେଖି କରୁଛନ୍ତି କି ? ଯଦି ହଁ, ତେବେ ଆଜି ହିଁ ଆମ ସହ ସମ୍ପର୍କ କରନ୍ତୁ ଆସନ୍ତୁ ଆମେ ମିଶି ଆମ ଭାଷା ଓ ସାହିତ୍ୟର ଉନ୍ନତି ହେତୁ କାମ କରିବା
ଇଚ୍ଛୁକ ବନ୍ଧୁମାନେ ଆମ ସହ ଦୂରଭାଷ ୭୦୦୮୫୬୭୦୮୫ ରେ ଯୋଗାଯୋଗ କରିପାରିବେ
ଇମେଲ୍ ଦ୍ବାରା ଯୋଗାଯୋଗ କରିବାପାଇଁ aahwaan@gmail.com ରେ ସମ୍ପର୍କ କରନ୍ତୁ